?????

କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂଧ୍ୟାରେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସାରା ଦେଶରେ କୋଭିଡ-୧୯ର ତୃତୀୟ ଲହର ଖୁବ ଜୋରରେ ବ୍ୟାପି ଚାଲିଛି । ଓଡିଶାରେ ମଧ୍ୟ ସଂକ୍ରମଣ ଦ୍ରୁତ ଗତିରେ ବଢୁଛି । ତେଣୁ ଆଗାମୀ କିଛି ସପ୍ତାହ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ବୋଲି ବର୍ଣ୍ଣନା କରି ସତର୍କ ରହିବା ପାଇଁ ଉଭୟ ଜନସାଧାରଣ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଜନସାଧାରଣଙ୍କୁ ଏହି ପରିପ୍ରେକ୍ଷୀରେ କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦିଓ ତୃତୀୟ ଲହରରେ ଏବେ ସୁଦ୍ଧା ହସ୍ପିଟାଲରେ ରୋଗୀ ଭର୍ତି ହେବା ସଂଖ୍ୟା ବହୁତ କମ୍‌ ରହିଛି, ତଥାପି ଆମକୁ ଭବିଷ୍ୟତ ପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ । ସେହିପରି ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ସନ୍ତୋଷଜନକ ରହିଥିଲେ ମଧ୍ୟ ଆଦୌ ଟିକା ନେଇ ନ ଥିବା ତଥା ଦ୍ବିତୀୟ ଡୋଜ ନେଇ ନ ଥିବା ଲୋକମାନଙ୍କର ଟିକାକରଣକୁ ଜୋରଦାର କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହିସହିତ ବରିଷ୍ଠ ନାଗରିକ ତଥା ସମୂଖ ଯୋଦ୍ଧା ମାନଙ୍କର ଟିକାକରଣ ଖୁବ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥଲେ ଏବଂ ଏହା ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ବିଶେଷ ସହାୟକ ହେବ ବୋଲି କହିଥିଲେ । ପୂର୍ବ ଥର ଭଳି ଏଥର ମଧ୍ୟ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ କରାଯିବା ଏବଂ ଏଥିରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି କୋଭିଡ ନିୟମର କଡାକଡି ଅନୁପାଳନ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ନିର୍ଦ୍ଦେଶ ଦେଇଥିଲେ ।

ଯେହେତୁ ବର୍ତ୍ତମାନର ଲହରରେ ସଂକ୍ରମିତ ଅଧିକାଂଶ ବ୍ୟକ୍ତି ନିଜ ଘରେ ପୃଥକୀକରଣ ରହିଛନ୍ତି, ତେଣୁ ଆମକୁ ତଦାରଖ ବ୍ୟବସ୍ଥାକୁ ସୁଦୃଢ କରିବାକୁ ପଡିବ ଏବଂ ଏଥିପାଇଁ ରାପିଡ ରେସପନ୍ସ ଟିମ୍ ଓ କ୍ଷେତ୍ରସ୍ତରୀୟ କର୍ମଚାରୀମାନେ ନିଜ ଘରେ ପୃଥକୀକରଣରେ ଥିବା ରୋଗୀ ମାନଙ୍କୁ ନିୟମିତ ଯୋଗାଯୋଗରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ଅନୁପାଳନର କଡ଼ାକଡ଼ି ତଦାରଖ ପାଇଁ ରାଜ୍ୟ ପୋଲିସ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବନ୍ ଶଲ ମୁଖ୍ୟମନ୍ତ୍ରୀ ଙ୍କୁ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

Related Articles

Leave a Reply

Back to top button
error: Content is protected !!