?????

୬୮୯୧ ହାଇସ୍କୁଲ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ୬୮୯୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ନବନିଯୁକ୍ତ ଶିକ୍ଷକ ମାନଙ୍କ ପାଇଁ ଭୁବନେଶ୍ୱର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାରରେ ଜାରି ରହିଛି । ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି।

ଶିକ୍ଷକତା ପରି ଏକ ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ରନିର୍ମାତା, ଜାତିର ଗୌରବ । ଦେଶର ଭବିଷ୍ୟତ ପିଢିକୁ ଗଢିବାର ପବିତ୍ର ଦାୟିତ୍ୱ ଆପଣମାନେ ନେଉଛନ୍ତି । ଶିକ୍ଷା ହିଁ କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ ।

ସରକାରଙ୍କ ୫-ଟି ରୂପାନ୍ତର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିକ୍ଷା ହେଉଛି ରୂପାନ୍ତରର ଶକ୍ତିଶାଳୀ ମାର୍ଗ । ସ୍ୱଚ୍ଛତା, ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ସମୟ ଓ ରୂପାନ୍ତର ହେଉଛି ଆମ ପ୍ରଶାସନିକ ବ୍ୟବସ୍ଥାର ମନ୍ତ୍ର । ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣି । ଡିସେମ୍ବର ୨୦୨୩ ସୁଦ୍ଧା ଆଉ ଚାରି ହଜାର ଆଠ ଶହ ସ୍କୁଲ ରୂପାନ୍ତର କରାଯିବ ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ ଏବଂ ଜଳସଂପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଶିକ୍ଷା କ୍ଷେତ୍ରରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ପିଲାମାନଙ୍କ ପାଇଁ ନୂଆ ସୁଯୋଗ ସୃଷ୍ଟି କରିଛି ଏବଂ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପରିଚୟ ସୃଷ୍ଟି କରିଛି ବୋଲି ମତବ୍ୟକ୍ତ କରିଥିଲେ । ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତର ରୂପାନ୍ତର ପାଇଁ ଶିକ୍ଷକ ମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ମତ ଦେଇ ଏ ଗୁରୁଦାୟିତ୍ୱକୁ ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ତୁଲାଇବେ ବୋଲି ସେମାନେ ଆଶା ପ୍ରକାଶ କରିଥିଲେ ।

କାର୍ଯ୍ୟକ୍ରମରେ ୩ ଜଣ ଶିକ୍ଷକ –ପବିତ୍ର କର, ପ୍ରମିତା ପଟ୍ଟନାୟକ ଓ ଜୟଶ୍ରୀ ପାଢୀ ପ୍ରମୁଖ ସେମାନଙ୍କ ଅଭିଜ୍ଞତା ସମ୍ପର୍କରେ ବର୍ଣ୍ଣନା କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହେଉଥିବା ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସାରା ଦୁନିଆକୁ ଏହି ବାର୍ତ୍ତା ଦେଉଛି ଯେ ଓଡିଶାରେ ଶିକ୍ଷକ ମାନଙ୍କୁ କିଭଳି ଭାବରେ ସ୍ୱାଗତ କରାଯାଏ ଓ ସମ୍ମାନ ଦିଆଯାଏ ।

Related Articles

Leave a Reply

Back to top button
error: Content is protected !!